ଭୁବନେଶ୍ୱର : କରୋନା କଟକଣା ପାଇଁ ଗତ ୨ବର୍ଷ ହେଲା ଫିକା ପଡ଼ିଥିଲା ଶାରଦୀୟ ଦୁର୍ଗା ପୂଜା। ଏଥର କିନ୍ତୁ କଟକଣାମୁକ୍ତ ପୂଜା ପାଇଁ ଅନୁମତି ମିଳିଥିଲେ ବି ବର୍ଷାରେ ପୂଜା ମଉଜ ଫିକା ପଡ଼ିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ । ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ସେହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼। ସେହିପରି ଆଉ ୪ଟି ଜିଲ୍ଲା- ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।
Related Articles
Check Also
Close